ଭୁବନେଶ୍ୱର: ଆସନ୍ତା ୭ ତାରିଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ଆସନ୍ତା ୯ ତାରିଖ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପରେ ଏହି ଘୂର୍ଣ୍ଣିବଳୟ ରହିବ। ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଭଲ ବର୍ଷା ହେବାର ସମ୍ଭାବନା ରହିଛି। କିନ୍ତୁ ଏନେଇ ଅତିପ୍ରବଳ ବର୍ଷାର ଆଶଙ୍କା ନାହିଁ। ଏହି ବର୍ଷା ଚାଷ କାମକୁ ସୁହାଇବ।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୬ ତାରିଖରୁ ରାଜ୍ୟରେ ବର୍ଷା ବଢ଼ିବ। କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ ଓ ରାୟଗଡ଼ାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ବି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୬ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ସମେତ ପଶ୍ଚିମ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ସେହିପରି ୭ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ରବିବାର ଚାନ୍ଦବାଲିରେ ସର୍ବାଧିକ ୫୨.୬ ମିମି ବର୍ଷା ହୋଇଛି। ଭଦ୍ରକରେ ୧୦ମିମି, କେନ୍ଦ୍ରାପଡ଼ାରେ ୬.୪ ଓ ରାଉରକେଲାରେ ୩.୧ ମିମି ବର୍ଷା ରେକର୍ଡ ହୋଇଛି।
ଆସନ୍ତା ୭ରୁ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ, ପ୍ରବଳ ବର୍ଷା ସମ୍ଭାବନା
