ଭୁବନେଶ୍ୱର: ପାଖେଇ ଆସୁଛି ଆଲୋକର ପର୍ବ ଦୀପାବଳି। ଚଳିତବର୍ଷ ଅକ୍ଟୋବର ୨୦ ତାରିଖରେ ସାରା ଦେଶ ପାଳନ ହେବ ଦୀପାବଳି। ପ୍ରତିଥର ବାଣକୁ ନେଇ ଗାଇଡଲାଇନ୍ ଆସୁଥିବା ବେଳେ ଚଳିତବର୍ଷ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ବାଣ ଫୁଟାଇବାର ସମୟକୁ ନେଇ ଗାଇଡଲାଇନ୍ ଆସିଛି। ଚଳିତ ବର୍ଷ ଦୀପାବଳିରେ ବାଣ ଫୁଟେଇବା ଲାଗି ସମୟ ବି ନିର୍ଦ୍ଧାରିତ ହୋଇଛି। ଏଥର କେବଳ ସନ୍ଧ୍ୟା ୭ରୁ ୯ଟା ଭିତରେ ସୀମିତ ରହିବ ବାଣଫୁଟା । ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଏହି ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ଖାଲି ୨ ଘଣ୍ଟାର ସମୟ ନୁହେଁ ଅଧିକ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବାକୁ ମଧ୍ୟ ବର୍ଜନ କରାଯାଇଛି। ଲୋକେ ଯେଉଁ ବାଣ ଫୁଟାଇବେ ତା’ର ଶବ୍ଦ ୧୨୫ ଡେସିବଲରୁ ଅଧିକ ହୋଇପାରିବ ନାହିଁ।
ଶାନ୍ତି କ୍ଷେତ୍ର ଯେପରିକି ବଗିଚା, ପାର୍କ , ହସ୍ପିଟାଲ୍ , ଶିକ୍ଷାନୁଷ୍ଠାନ , କୋର୍ଟ, ମନ୍ଦିର ପାଖରେ ବାଣ ଫୁଟାଇବାକୁ ବର୍ଜିତ କରାଯାଇଛି । ଖୋଲା ଜାଗାରେ ଯଦି କେହି ବାଣ ଫୁଟାଇବାକୁ ଚାହିବେ ତାହା ସବୁଜ ବାଣ ହିଁ ହୋଇଥିବ । ଝୁମ୍ପୁଡ଼ି ଘର , ଦୋକାନ, ଅଗ୍ନି-ପ୍ରବଣ ସ୍ଥାନ, ରାସ୍ତା ଏବଂ ଅଧିକ ଯାତାୟାତ ସ୍ଥାନରେ ବାଣ ଫୁଟାଇବାକୁ ବର୍ଜନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ୧୦ ବର୍ଷରୁ କମ୍ ବୟସର ଶିଶୁମାନେ ଶବ୍ଦ-ସୃଷ୍ଟି କରୁଥିବା ବାଣ ଫୁଟାଇବାକୁ ଅନୁମତି ଦେଇନି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ। ବାଣ ଫୁଟାଇବା ସମୟରେ ସୁରକ୍ଷା ପ୍ରତି ଧ୍ୟାନ ଦେଇ ସୂତା କପଡ଼ା ପିନ୍ଧିବା ପାଇଁ ପରାମର୍ଶ ଦିଆଯାଇଛି। ଏହି ନିୟମକୁ ସମସ୍ତେ ମାନିବାକୁ ଅନୁରୋଧ କରାଯାଇଛି। ଯେଉଁମାନେ ଏଥିରେ ଖିଲାପ କରିବେ, ସେମାନଙ୍କ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜଣାଯାଇଛି।
ଦୀପାବଳି ପାଇଁ ଆସିଲା ଗାଇଡଲାଇନ, ସଂଧ୍ୟା ୭ଟାରୁ ରାତି ୯ଟା ଭିତରେ ଫୁଟିବ ବାଣ
